bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia IRV 2017 (ଓଡିଆ ବାଇବେଲ)
/
1 Peter 2
1 Peter 2
Odia IRV 2017 (ଓଡିଆ ବାଇବେଲ)
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 3 →
1
ଅତଏବ ପ୍ରଭୁ ଯେ ମଙ୍ଗଳମୟ, ଏହା ଯଦି ଆସ୍ୱାଦନ କରିଅଛ,
2
ତାହାହେଲେ ସମସ୍ତ ପ୍ରକାର ଦୁଷ୍ଟତା, ଛଳ, କପଟ, ଈର୍ଷା ଓ ପରନିନ୍ଦା ପରିତ୍ୟାଗ କରି
3
ନବଜାତ ଶିଶୁତୁଲ୍ୟ ପାରମାର୍ଥିକ ଅମିଶ୍ରିତ ଦୁଗ୍ଧ ପାନ କରିବାକୁ ଇଚ୍ଛା କର, ଯେପରି ତଦ୍ୱାରା ପରିତ୍ରାଣାର୍ଥେ ବୃଦ୍ଧି ପାଇ ପାର ।
4
ଜୀବନ୍ତ ପ୍ରସ୍ତର ସ୍ୱରୂପ ଯେ ସେହି ପ୍ରଭୁ, ସେ ମନୁଷ୍ୟମାନଙ୍କ ଦ୍ୱାରା ଅଗ୍ରାହ୍ୟ ହେଲେ ସତ, କିନ୍ତୁ ଈଶ୍ୱରଙ୍କ ନିକଟରେ ମନୋନୀତ ଓ ବହୁମୂଲ୍ୟ ଅଟନ୍ତି,
5
ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ ।
6
କାରଣ ଶାସ୍ତ୍ରରେ ଲିଖିତ ଅଛି, ଦେଖ, ଆମ୍ଭେ ସିୟୋନରେ ଗୋଟିଏ ମନୋନୀତ ଓ ବହୁମୂଲ୍ୟ କୋଣର ପ୍ରଧାନ ପ୍ରସ୍ତର ସ୍ଥାପନ କରୁଅଛୁ, ଆଉ ଯେ ତାହାଙ୍କଠାରେ ବିଶ୍ୱାସ କରିବ, ସେ ଲଜ୍ଜିତ ହେବ ନାହିଁ ।
7
ଏଣୁ ବିଶ୍ୱାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସେହି ମହାମୂଲ୍ୟର ଅଂଶୀ ଅଟ, କିନ୍ତୁ ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା ସେମାନଙ୍କ ନିମନ୍ତେ କୋଣର ପ୍ରଧାନ ପ୍ରସ୍ତର
8
ପୁଣି, ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ୱରୂପ ହେଲା; ବାକ୍ୟର ଅନାଜ୍ଞାବହ ହେବାରୁ ସେମାନେ ବାଧା ପାଆନ୍ତି, ଆଉ ଏନିମନ୍ତେ ମଧ୍ୟ ସେମାନେ ନିରୂପିତ ହୋଇଥିଲେ ।
9
କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥି ନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ୱରଙ୍କ ନିଜସ୍ୱ ପ୍ରଜା ହୋଇଅଛ ।
10
ପୂର୍ବରେ ତୁମ୍ଭେମାନେ ପ୍ରଜା ବାଚ୍ୟ ନ ଥିଲ, କିନ୍ତୁ ଏବେ ଈଶ୍ୱରଙ୍କ ପ୍ରଜା ହୋଇଅଛ, ପୂର୍ବରେ ତୁମ୍ଭେମାନେ ଦୟା ପାଇ ନ ଥିଲ, ମାତ୍ର ଏବେ ଦୟା ପ୍ରାପ୍ତ ହୋଇଅଛ ।
11
ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।
12
ତୁମ୍ଭେମାନେ ଅଣଯିହୂଦୀମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଈଶ୍ୱରଙ୍କ ଗୌରବ କରିବେ ।
13
ପ୍ରଭୁଙ୍କ ସକାଶେ ସମସ୍ତେ ମାନବୀୟ ବିଧାନର ବଶୀଭୂତ ହୁଅ,
14
ସର୍ବପ୍ରଧାନ ରାଜା ହେଉନ୍ତୁ କିଅବା ଦୁଷ୍କର୍ମକାରୀମାନଙ୍କୁ ପ୍ରତିଫଳ ଦେବା ନିମନ୍ତେ ଓ ସତ୍କର୍ମକାରୀମାନଙ୍କୁ ପ୍ରଶଂସା କରିବା ନିମନ୍ତେ ତାହାଙ୍କ ଦ୍ୱାରା ପ୍ରେରିତ ଶାସନକର୍ତ୍ତାମାନେ ହେଉନ୍ତୁ, ସେମାନଙ୍କର ବଶୀଭୂତ ହୁଅ ।
15
କାରଣ ତୁମ୍ଭେମାନେ ଯେ ସତ୍କର୍ମ କରି ନିର୍ବୋଧମାନଙ୍କ ଅଜ୍ଞାନର କଥା ବନ୍ଦ କର, ଏହା ଈଶ୍ୱରଙ୍କ ଇଚ୍ଛା;
16
ତୁମ୍ଭେମାନେ ସ୍ୱାଧୀନ ହେଲେ ହେଁ ତୁମ୍ଭମାନଙ୍କର ସ୍ୱାଧୀନତାକୁ ଦୁଷ୍ଟତାର ଆବରଣ ସ୍ୱରୂପେ ବ୍ୟବହାର ନ କରି ବରଂ ଈଶ୍ୱରଙ୍କ ଦାସ ହୋଇ ସତ୍କର୍ମ କର ।
17
ସମସ୍ତଙ୍କୁ ସମାଦର କର, ଭାଇମାନଙ୍କୁ ପ୍ରେମ କର, ଈଶ୍ୱରଙ୍କୁ ଭୟ କର, ରାଜାଙ୍କୁ ସମାଦର କର ।
18
ହେ ଦାସମାନେ, ତୁମ୍ଭେମାନେ ଭୟ ସହକାରେ ଆପଣା ଆପଣା କର୍ତ୍ତାଙ୍କର ବଶୀଭୂତ ହୁଅ, କେବଳ ଉତ୍ତମ ଓ ଦୟାଳୁ କର୍ତ୍ତାମାନଙ୍କର ନୁହେଁ, ମାତ୍ର ନିର୍ଦୟମାନଙ୍କର ମଧ୍ୟ ବଶୀଭୂତ ହୁଅ ।
19
କାରଣ କେହି ଯେବେ ଈଶ୍ୱରଙ୍କୁ ବିଶ୍ୱାସ କରିବାରୁ ଅନ୍ୟାୟରେ ଦୁଃଖଭୋଗ କରି କଷ୍ଟ ସହ୍ୟ କରେ, ତେବେ ତାହା ପ୍ରଶଂସାର ବିଷୟ ।
20
ଯେଣୁ ତୁମ୍ଭେମାନେ ଆପଣା ଆପଣା ଦୋଷ ହେତୁ ଯଦି ପ୍ରହାର ସହ୍ୟ କର, ତେବେ ସେଥିରେ ଅବା କ'ଣ ସୁଖ୍ୟାତି? କିନ୍ତୁ ଯଦି ସତ୍କର୍ମ କରି ଦୁଃଖ ସହ୍ୟ କର, ତେବେ ତାହା ଈଶ୍ୱରଙ୍କ ନିକଟରେ ପ୍ରଶଂସାର ବିଷୟ ।
21
ଏଥି ନିମନ୍ତେ ହିଁ ତୁମ୍ଭେମାନେ ଆହୂତ ହୋଇଅଛ, କାରଣ ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ପଦଚିହ୍ନ ଦେଇ ଗମନ କର, ସେଥିପାଇଁ ସେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ଦୁଃଖଭୋଗ କରି ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଦେଇ ଯାଇଅଛନ୍ତି;
22
ସେ କୌଣସି ପାପ କଲେ ନାହିଁ, କିଅବା ତାହାଙ୍କ ମୁଖରେ କୌଣସି ଛଳକଥା ନ ଥିଲା ।
23
ସେ ନିନ୍ଦା ପାଇବା ସମୟରେ ଫେରି ନିନ୍ଦା କଲେ ନାହିଁ; ଦୁଃଖଭୋଗ କରିବା ସମୟରେ ପ୍ରତିହିଂସା କରିବାକୁ ଭୟ ଦେଖାଇଲେ ନାହିଁ, କିନ୍ତୁ ନ୍ୟାୟବିଚାରକର୍ତ୍ତାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କଲେ;
24
ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନ ଯାପନ କରୁ, ଏଥି ନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ ।
25
କାରଣ ତୁମ୍ଭେମାନେ ମେଷ ତୁଲ୍ୟ ବିପଥଗାମୀ ହୋଇଥିଲ, କିନ୍ତୁ ଏବେ ତୁମ୍ଭମାନଙ୍କ ଆତ୍ମାର ପାଳକ ଓ ଅଧ୍ୟକ୍ଷଙ୍କ ନିକଟକୁ ବାହୁଡ଼ି ଆସିଅଛ ।
← Chapter 1
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 3 →
All chapters:
1
2
3
4
5